କରୋନା: ମହାରାଷ୍ଟ୍ରରେ ୨୫ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦେଶରେ ୭୮ ହଜାର
ନୂଆଦିଲ୍ଲୀ: ମହାମାରୀ କରୋନା ଭାଇରସ୍ ଭାରତରେ ଦିନକୁ ଦିନ ଅଧିକରୁ ଅଧିକ କାୟା ବିସ୍ତାର କରିବାରେ ଲାଗିଛି। ବିଗତ କିଛି ଦିନ ହେବ ଦେଶରେ ହୁ ହୁ ହୋଇ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ମଧ୍ୟରେ ଭାରତରେ ଆଜି ସକାଳ ୮ଟା ସୁଦ୍ଧା ୭୮ ହଜାର ପାର କରିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ନୂଆ ୩୭୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହିତ ୧୩୪ ଜଣ ଲୋକଙ୍କ ମୃତ୍ୟୁ ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଜି ସକାଳ ୮ଟା ସୁଦ୍ଧା ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୮,୦୦୩ରେ ପହଁଞ୍ଚିଛି। ସେମଧ୍ୟରୁ ୨୫୪୯ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏଥିସହିତ ୪୯୨୧୯ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି। ଅପରପକ୍ଷେ ଏପର୍ଯ୍ୟନ୍ତ ୨୬,୨୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗତକାଲି ଦେଶରେ ସୁସ୍ଥ ଆକ୍ରାନଙ୍କ ହାର ୩୨.୮୨ ପ୍ରତିଶତରେ ପହଁଞ୍ଚିଥିବା ବେଳେ ଆଜି ୩୩.୬୩ ପ୍ରତିଶତରେ ପହଁଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଦେଶରେ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ବିଗତ କିଛି ଦିନ ହେବ ମୃତକଙ୍କ ସଂଖ୍ୟା ଓ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଯାହା ଦେଶ ପାଇଁ ଚିନ୍ତାର କାରଣ। ଦେଶରେ ମହାମାରୀ କରୋନା ଦ୍ବାରା ମହାରାଷ୍ଟ୍ର ରାଜ୍ୟ ବେଶ୍ ପ୍ରଭାବିତ ହୋଇଛି। ଆଜି ସୁଦ୍ଧା ମହାରାଷ୍ଟ୍ରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫ ହଜାର ପାର କରିଛିି।
ମହାରାଷ୍ଟ୍ରରେ ବର୍ତ୍ତମାନ ୨୫,୯୨୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ମଧ୍ୟରୁ ୫୫୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୭୫ ଜଣଙ୍କ ମୃତ୍ୟୁ ହୋଇଛି। ୧୫୭୪୭ ଜଣ ଆକ୍ରାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
Comments are closed.