ରାଜ୍ୟରେ ୨୨ ଯାଏଁ ବର୍ଷା, ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ସୂଚନା ଅନୁଯାୟୀ ୨୦ରୁ ୨୨ ତାରିଖରେ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୨୦ ତାରିଖ ଧୀବରମାନଙ୍କ ପାଇଁ ସର୍ତକ ସୂଚନା ଜାରି କରାଯାଇଛି। ଗଭୀର ସମୁଦ୍ରରୁ କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।
୧୯ ଓ ୨୦ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ରାୟଗଡ଼ାରେ ପ୍ରବଳ ବର୍ଷା ସମ୍ଭାବନ ରହିଛି। ଏ ସମସ୍ତ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କିଛି କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି ।
୨୦ରୁ ୨୧ ତାରିଖ ମଧ୍ୟରେ ମାଲକାନଗିରି କୋରାପୁଟ, ନବରଙ୍ଗପୁର, ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏ ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ ଓ ଖୋର୍ଦ୍ଧାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।
୨୧ରୁ ୨୨ ତାରିଖ ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି। ଏନେଇ ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ବୌଦ୍ଧ, ଯାଜପୁର, ଭଦ୍ରକ ଓ କଳାହାଣ୍ଡି ଜିଲ୍ଳାଙ୍କ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ମାଲକାନଗିରି, କୋରାପୁଟ, କନ୍ଧମାଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
Comments are closed.