୩ ଦିନ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆଗାମୀ ୩ ଦିନ ଯାଏଁ ରାଜ୍ୟର ଉତ୍ତର, ଆଭ୍ୟନ୍ତର, କେନ୍ଦ୍ରୀୟ, ଉପକୂଳ ଓ ଦକ୍ଷିଣର ବହୁ ଜିଲ୍ଲାରେ ଝଡ଼ ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି। ପ୍ରବଳ ବର୍ଷା ହେବାର ସମ୍ଭାବନାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନବାହାରିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି।
ସୂଚନା ମୁତାବକ, ଆଜି ଅପରାହ୍ନ ଠାରୁ ଆସନ୍ତା ସେପ୍ଟେମ୍ବର ୩୦ ପର୍ଯ୍ୟନ୍ତ ରାଜ୍ୟର ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ମାଲକାନଗିରି, କୋରାପୁଟ, ରାୟଗଡା, କଳାହାଣ୍ଡି, କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୧ରେ ଢ଼େଙ୍କାନାଳ, ମୟୂରଭଞ୍ଜ, ଗଞ୍ଜାମ, ଗଜପତି, ପୁରୀ, କନ୍ଧମାଳ ଏବଂ ଜଗତସିଂହପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ଅକ୍ଟୋବର ୨ରେ ଶୁକ୍ରବାର ଦିନ ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଏବଂ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।
Comments are closed.