ଆଜି ମିଳିବ କାଳିଆ ତୃତୀୟ କିସ୍ତି
![](https://www.odishalink.com/wp-content/uploads/2020/02/kalia.jpeg)
ଭୁବନେଶ୍ୱର: ଆଜି ତୃତୀୟ କିସ୍ତିରେ ମିଳିବ ‘କାଳିଆ’ ଟଙ୍କା। ୫୩ ଲକ୍ଷରୁ ଅଧିକ ଚାଷୀଙ୍କୁ ଡିବିଟି ଜରିଆରେ ଦିଆଯିବ କାଳିଆ ଟଙ୍କା। କ୍ଷୁଦ୍ର ଓ ନାମମାତ୍ର ଚାଷୀ, ଭୂମିହୀନ ଚାଷୀ ପରିବାରକୁ ୨୦୨୦-୨୧ର କାଳିଆ ସହାୟତା ପ୍ରଦାନ କରାଯିବ । ଆଜି ଅପରାହ୍ନ ୫ଟାରେ ଆନୁଷ୍ଠାନିକ ଭାବେ ଏହାର ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ଜିଲ୍ଲାସ୍ତରରେ ଆବଶ୍ୟକ ପ୍ରକ୍ରିୟା ଶେଷ କରି ମାର୍ଚ୍ଚ ପ୍ରଥମ ସପ୍ତାହରୁ ଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ପଠାଇବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ୨୦୧୮ ଡିସେମ୍ବରରେ ‘କାଳିଆ’ ଯୋଜନା ଲାଗୁ ହେବା ପରେ ପ୍ରଥମ କିସ୍ତିରେ ୫୧ ଲକ୍ଷ ୫ ହଜାର ୨୯୦ ଚାଷୀଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଲେଖାଏଁ ଡିବିଟି ଜରିଆରେ ଅର୍ଥ ପ୍ରଦାନ କରାଯାଇଥିଲା।
ଦ୍ବିତୀୟ କିସ୍ତିରେ ୩୨ ଲକ୍ଷ ୫୫ ହଜାର ୬୫୧ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଓ ୧୬ ଲକ୍ଷ ୯ ହଜାର ୪୦୨ ଜଣ ଭୂମିହୀନ ଚାଷୀଙ୍କୁ ଆଉ ୫ ହଜାର ଲେଖାଏଁ ପ୍ରଦାନ କରାଯାଇଥିଲା। ଭୂମିହୀନ ଚାଷୀଙ୍କୁ ‘କାଳିଆ ’ ସହାୟତା ବାବଦରେ ମୋଟ ୧୨ ହଜାର ୫୦୦ ଟଙ୍କା ପ୍ରଦାନ କରିବାକୁ ସରକାର ପ୍ରତିଶ୍ରୁତି ଦେଇଥିଲେ। ସେଥିପାଇଁ ତୃତୀୟ କିସ୍ତି ବାବଦରେ ଚାଷୀମାନଙ୍କୁ ବାକି ୨ ହଜାର ୫୦୦ ଟଙ୍କା ପ୍ରଦାନ କରାଯିବ।
Comments are closed.