କାଳବୈଶାଖୀ ଆଶଙ୍କା, ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ
![](https://www.odishalink.com/wp-content/uploads/2019/08/thunderstrom.jpg)
ଭୁବନେଶ୍ୱର: ରାଜ୍ୟର ଦକ୍ଷିଣ, ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣର ପ୍ରାୟ ୧୦ଟି ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ର ସମ୍ଭବାନା ରହିଛି। ଏନେଇ ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯିବା ସହ ୧୦ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ସୂଚନା ମୁତାବକ ଆଜି ଅପରାହ୍ନ ୧ଟା ୩୦ଘଣ୍ଟା ମଧ୍ୟରୁ ଆସନ୍ତାକାଲି ସକାଳ ୮ଟା୩୦ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଓ ଗଜପତି ପ୍ରଭୃତି ୧୦ଟି ଜିଲ୍ଲାର ଅନେକ ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସମ୍ଭାବନା ରହିଛି।
କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସମୟରେ ବିଜୁଳି ଓ ଘଡ଼ଘଡ଼ି ସହ ପବନର ବେଗ ୩୦-୪୦ କିଲୋମିଟର ରହିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ୧୦ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିବା ସହ କାଳବୈଶାଖୀ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ଏଥିସହ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହିପରି କାଳବୈଶାଖୀ ସହ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।