କେରଳ ଛୁଇଁଲା ମୌସୁମୀ
ରାଜ୍ୟରେ ପ୍ରାକ୍-ମୌସୁମୀ ବର୍ଷା ଜାରି

ଭୁବନେଣ୍ବର: ଆଜି କେରଳ ଛୁଇଁଲା ମୌସୁମୀ। ଆଇଏମଡି ପୂର୍ବାନୁମାନ ସତ ହୋଇଛି। ଆଜି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି। କେରଳର ଦକ୍ଷିଣାଞ୍ଚଳକୁ ମୌସୁମୀ ଛୁଇଁଥିବା ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି।
ମୌସୁମୀ ଆଜି କେରଳ ଛୁଇଁବ ବୋଲି ଆଇଏମଡି ପୂର୍ବାନୁମାନ କରିଥିଲା। ତେବେ କେରଳ ଛୁଇଁବାର ୧୦/୧୨ ଦିନ ପରେ ମୌସୁମୀ ଓଡ଼ିଶା ଛୁଇଁବ ବୋଲି ଆଇଏମଡି ପକ୍ଷରୁ ସୂଚନା ଦିଆଯାଇଛି।
ଅନ୍ୟପଟେ ରଜ ଆଡକୁ ରାଜ୍ୟରେ ମୌସୁମୀ ବର୍ଷା ଆରମ୍ଭ ହୋଇପାରେ। ଏବେ ରାଜ୍ୟରେ ପ୍ରାକ୍-ମୌସୁମୀ ବର୍ଷା ଆରମ୍ଭ ହୋଇଛି। ଆସନ୍ତା ୨ ଦିନ ମଧ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ତେବେ ଆଜି ନବରଙ୍ଗପୁର, କୋରାପୁଟ ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ।
ଏଥିସହ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ।