୧୦ରେ ଓଡ଼ିଶା ଛୁଇଁବ ମୌସୁମୀ !

ଭୁବନେଶ୍ୱର: ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା ଜାରି ରହିଛି। ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ଦାନା ବାନ୍ଧୁଛି। ଏହା ମୌସୁମୀକୁ ସକ୍ରିୟ କରିବ। ଓଡ଼ିଶାରେ ଆସନ୍ତା ଦୁଇଦିନ (୯ ଜୁନ ଓ ୧୦ ଜୁନ୍) ଭିତରେ ପହଞ୍ଚିପାରେ ବୋଲି ଆକଳନ କରିଛି ପାଣିପାଗ ବିଭାଗ।
ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି, ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକରେ ପ୍ରବଳ ବର୍ଷା ଆଶଙ୍କା ଅଛି। ଏହାବାଦ୍ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳରେ ଘଡ଼ଘଡ଼ି ସହ ୪୦-୫୦ କିମି ବେଗରେ ପବନ ଏବଂ ବର୍ଷା ହୋଇପାରେ।
ଆସନ୍ତା ୧୧ ଜୁନ୍ ବେଳକୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ତେବେ ୧୦ ତାରିଖ ସୁଦ୍ଧା ମୌସୁମୀ ଓଡ଼ିଶା ପ୍ରବେଶ କରିପାରେ। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୦ରୁ ୧୪ ତାରିଖ ଭିତରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଏବଂ କିଛି ଅଞ୍ଚଳରେ ଅତ୍ୟନ୍ତ ପ୍ରବଳ ବର୍ଷା ଆଶଙ୍କା ଅଛି। ଅନ୍ୟପକ୍ଷରେ ଆସନ୍ତା ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା, ପବନ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ପାଣିପାଗ ବିଭାଗ କହିଛି, ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧୦ ତାରିଖରେ ରାଜ୍ୟର ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହେବ । ଅନୁଗୁଳ, ଢେଙ୍କାନାଳ, କଟକ, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି । ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, ମୟୂରଭଞ୍ଜ, କେନ୍ଦୁଝରରେ ପ୍ରବଳ ବର୍ଷା ହୋଇପାରେ ।
କୃଷି ପାଣିପାଗ ବିଜ୍ଞାନୀ ଡକ୍ଟର ସୁରେନ୍ଦ୍ରନାଥ ପଶୁପାଳକଙ୍କ ଆକଳନ ହେଲା, ସମ୍ଭାବ୍ୟ ଲଘୁଚାପ ଅଧିକ ଘନୀଭୂତ ହୋଇ ଅବପାତ ଓ ପରେ ଗଭୀର ଅବପାତ ରୂପ ନେବ। ଗଭୀର ଅବପାତ ରୂପ ନେଲାବେଳକୁ ଏହା ପଶ୍ଚିମ ଓଡ଼ିଶା ଉପରେ ଥିବା ଅନୁମାନ କରାଯାଉଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଉତ୍ତର ଓଡ଼ିଶା ଅପେକ୍ଷା ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ। କେତେକ ଜାଗାରେ ଅତି ପ୍ରବଳ ବର୍ଷା ହୋଇପାରେ।