ଶ୍ରୀଜିଉଙ୍କ ବନକଲାଗି ନୀତି, ୪ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
ଓଏଲ୍ ବ୍ୟୁରୋ: ଆଜି ଭାଦ୍ରବ କୃଷ୍ଣ ତୃତୀୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ବନକଲାଗି ନୀତି। ସେଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୯.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। କିନ୍ତୁ ପାର୍ଶ୍ୱ ଦେବାଦେବୀଙ୍କ ଦର୍ଶନ କରିପାରିବେ ଭକ୍ତ। ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।
ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧନରେ ଶ୍ରୀବିଗ୍ରହ ମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ।