ପରଲୋକରେ ସମୀର ଦେ’, ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ଶୋକ
ଓଏଲ୍ ବ୍ୟୁରୋ: ରାଜ୍ୟ ରାଜନୀତି ପାଇଁ ଅଶୁଭ ଖବର। ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ୬୭ ବର୍ଷ ବୟସରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ ପ୍ରାଣତ୍ୟାଗ କରିଛନ୍ତି। ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ମୃତ୍ୟୁ ଖବର ପରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଳିଯାଇଛି ।
ବିଜେପି ନେତା ସମୀର ଦେ’ଙ୍କ ଦେହାନ୍ତ ପରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ଟ୍ୱିଟ କରି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି, ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେ’ଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ ଓ ମର୍ମାହତ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଉଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ।
କେନ୍ଦ୍ରମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ଲେଖିଛନ୍ତି, ଓଡ଼ିଶାର ପୂର୍ବତନ ମନ୍ତ୍ରୀ ତଥା ଆମ ଦଳର ବରିଷ୍ଠ ନେତା ସମୀର ଦେଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ଦାଦା ଜଣେ ମିଷ୍ଟଭାଷୀ ଓ ପରୋପକାରୀ ସ୍ୱଭାବର ବ୍ୟକ୍ତି ଥିଲେ। ତାଙ୍କୁ ସବୁବେଳେ ଭେଟିବା ସମୟରେ ତାଙ୍କର ପରିବାର ସଦସ୍ୟଙ୍କ ଠାରୁ ମିଳିଥିବା ସ୍ନେହ ଆଦର ଅଭୁଲା ରହିବ।
ବିଜେପିର ପ୍ରାରମ୍ଭିକ ପ୍ରଗତି ସମୟରେ ଉପକୂଳ ଓଡ଼ିଶାରେ ଅଭ୍ୟୁଦୋୟର କେନ୍ଦ୍ରବିନ୍ଦୁ ଭାବେ କଟକ ସହରରୁ ଆମ ଦଳର ରାଷ୍ଟ୍ରବାଦୀ ବିଚାରକୁ ଜନପ୍ରିୟ କରାଇବାରେ ସେ ପ୍ରମୁଖ ଭୂମିକା ନେଇଥିଲେ। ଦାଦାଙ୍କ ବିୟୋଗରେ ଓଡ଼ିଶା ଜଣେ ସ୍ନେହୀ ଓ ଦକ୍ଷ ନେତାଙ୍କୁ ହରାଇଲା। ଜନପ୍ରତିନିଧି ଭାବେ ସେ ଯେଉଁ ଉନ୍ନତିମୂଳକ କାର୍ଯ୍ୟ କରିଯାଇଛନ୍ତି, ତାହା ସବୁଦିନ ପାଇଁ ସ୍ମରଣୀୟ ହୋଇରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି।
ସୂଚନାଥାଉକି, ଅକ୍ଟୋବର ୨୫ରୁ ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତାଙ୍କୁ ଛାତିରେ ଯନ୍ତ୍ରଣା ଅନୁଭବ କାରଣରୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କ ଦେହାନ୍ତ ହୋଇଛି। କିଛି ଦିନ ତଳେ ତାଙ୍କର ସଫଳ କିଡନି ପ୍ରତିରୋପଣ କରାଯାଇଥିଲା। ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ।୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।