ପରଲୋକରେ ବିଜେପିର ବରିଷ୍ଠ ନେତା ସମୀର ଦେ’
ଓଏଲ୍ ବ୍ୟୁରୋ: ରାଜ୍ୟ ରାଜନୀତି ପାଇଁ ଅଶୁଭ ଖବର। ଆଉ ନାହାନ୍ତି ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ। କଟକର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ୬୭ ବର୍ଷ ବୟସରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ସମୀର ଦେ ପ୍ରାଣତ୍ୟାଗ କରିଛନ୍ତି। ବରିଷ୍ଠ ବିଜେପି ନେତା ସମୀର ଦେ’ଙ୍କ ମୃତ୍ୟୁ ଖବର ପରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଳିଯାଇଛି ।
ସୂଚନାଥାଉକି, ଅକ୍ଟୋବର ୨୫ ତାରିଖରୁ ପୂର୍ବତନ ମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତାଙ୍କୁ ଛାତିରେ ଯନ୍ତ୍ରଣା ଅନୁଭବ କାରଣରୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାଙ୍କ ଦେହାନ୍ତ ହୋଇଛି। କିଛି ଦିନ ତଳେ ତାଙ୍କର ସଫଳ କିଡନି ପ୍ରତିରୋପଣ କରାଯାଇଥିଲା। ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ଭାଜପା ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ।୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ। ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ମେଣ୍ଟ ସରକାରରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ। ସେହିପରି ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ ସେ ଉଚ୍ଚଶିକ୍ଷା ମନ୍ତ୍ରୀ ହୋଇଥିଲେ।