ଓଡ଼ିଶା ବିଧାନସଭା ପରିସରରେ ବାଗ୍ମୀ ବିଶ୍ୱନାଥ କରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ
ଓଏଲ୍ ବ୍ୟୁରୋ: ଓଡ଼ିଶା ବିଧାନସଭା ପରିସରରେ ବାଗ୍ମୀ ବିଶ୍ୱନାଥ କରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ବିଧାନସଭା ବାଚସ୍ପତି ସୁରମା ପାଢୀ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଆଇନ ଓ ପୂର୍ତ୍ତମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୁରଜ ଏବଂ ବିଧାୟକ ବୃନ୍ଦ ଉପସ୍ଥିତ ଥିଲେ।
ବାଗ୍ମୀ ବିଶ୍ୱନାଥ କର ଜଣେ ଓଡ଼ିଆ ସ୍ୱାଧୀନତା ସଂଗ୍ରାମୀ, ସମାଜ ସଂସ୍କାରକ, ଶିକ୍ଷକ, ସଂପାଦକ, ପ୍ରାବନ୍ଧିକ, ବାଗ୍ମୀ ଥିଲେ। ସେ ଉତ୍କଳ ସାହିତ୍ୟ ପତ୍ରିକାର ସମ୍ପାଦକ ଥିଲେ ଓ ଉତ୍କଳ ସମ୍ମିଳନୀର ଅନ୍ୟତମ ସଂଚାଳକ ତଥା ବିହାର-ଓଡ଼ିଶା ପ୍ରଦେଶର ଜଣେ ବ୍ୟବସ୍ଥାପକ ଭାବେ କାମ କରିଥିଲେ। ତତ୍କାଳୀନ ବ୍ରିଟିଶ ସରକାରଙ୍କଠାରୁ “ରାୟ ବାହାଦୁର” ଉପାଧୀ ପାଇ ତାକୁ ପ୍ରତ୍ୟାଖ୍ୟାନ କରିବାରେ ସେ ଥିଲେ ପ୍ରଥମ ଓଡ଼ିଆ ବ୍ୟକ୍ତି। ବାଗ୍ମୀ ବିଶ୍ୱନାଥ କରଙ୍କ ଜନ୍ମ ଜୟନ୍ତୀ ଅବସରରେ ଓଡ଼ିଶା ବିଧାନସଭା ପରିସରରେ ତାଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି।