ପରଲୋକରେ ପୂର୍ବତନ ପ୍ରଧାନମନ୍ତ୍ରୀ, ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା
ଓଏଲ୍ ବ୍ୟୁରୋ: ପରଲୋକରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ୯୨ ବର୍ଷରେ ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହଙ୍କ ଦେହାନ୍ତ ହୋଇଛି। ଗତକାଲି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏମ୍ସର ଏମର୍ଜେନ୍ସି ୱାର୍ଡରେ ସ୍ୱତନ୍ତ୍ର ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରିଥିଲେ। ହେଲେ ଡାକ୍ତରୀ ଟିମର ସବୁ ଚେଷ୍ଟା ସତ୍ତ୍ୱେ ଶ୍ରୀ ସିଂହ ଆଖି ବୁଜି ଦେଇଛନ୍ତି। ରାତି ୯ଟା ୫୧ରେ ତାଙ୍କର ପରଲୋକ ହୋଇଥିବା ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି।
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ବିୟୋଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ୭ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନମୋହନ ସିଂହଙ୍କ ଶେଷ କୃତ୍ୟ ସମ୍ପନ୍ନ ହେବ। କେନ୍ଦ୍ର ସରକାରଙ୍କ ପକ୍ଷରୁ ଶୁକ୍ରବାର ସମସ୍ତ ସରକାରୀ କାର୍ଯ୍ୟକ୍ରମ ବାତିଲ ଘୋଷଣା କରାଯାଇଛି। ଏହି ଅବଧିରେ ଜାତୀୟ ପତାକା ଅର୍ଧନମିତ ହୋଇ ରହିବ ।