ଓଡ଼ିଶାରେ ଆରମ୍ଭ ହେଲା ବିଜେପି ସରକାର, ମୁଖ୍ୟମନ୍ତ୍ରୀଙ୍କ ସହ ଶପଥ ନେଲେ ୧୩ ଜଣ ମନ୍ତ୍ରୀ
ଓଏଲ୍ ବ୍ୟୁରୋ: ଆଜିଠୁ ଓଡ଼ିଶାର ଶାସନ ଭାର ସମ୍ଭାଳିବ ବିଜେପି ସରକାର। ଅପେକ୍ଷାର ଅନ୍ତ ଘଟାଇ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ। ଓଡ଼ିଶାର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମୋହନ ଚରଣ ମାଝୀ। ସବୁଠୁ ବଡ଼କଥା ହେଲା ସରପଞ୍ଚରୁ ରାଜନୈତିକ ଜୀବନ ଆରମ୍ଭ କରିଥିବା ମୋହନ ମାଝୀ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଶପଥ ପାଠ କରାଇଲେ ମହାମହିମ ରାଜ୍ୟପାଳ।
ଏଥିସହିତ ପ୍ରଥମ ଥର ପାଇଁ ଓଡ଼ିଶାରେ ୨ ଜଣ ଉପମୁଖ୍ୟମନ୍ତ୍ରୀ ଶପଥ ନେଇଛନ୍ତି। ପାଟଣାଗଡ଼ ବିଧାୟକ କନକ ବର୍ଦ୍ଧନ ସିଂଦେଓ ଓ ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ପ୍ରମୁଖ ଉପସ୍ଥିତ ରହିଛନ୍ତି। ଏହା ସହ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପ-ମୁଖ୍ୟମନ୍ତ୍ରୀ, ୮ କ୍ୟାବିନେଟ ମନ୍ତ୍ରୀ ଓ ୫ଜଣ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଶପଥ ନେଇଛନ୍ତି। କ୍ୟାବିନେଟ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବିନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ୱୀରାଜ ହରିଚନ୍ଦନ, ମୁକେଶ ମହାଲିଙ୍ଗ, ବିଧାୟକ ବିଭୁତି ଭୂଷଣ ଜେନା, କୃଷ୍ଣଚନ୍ଦ୍ର ମହାପାତ୍ର କ୍ୟାବିନେଟ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ସେହିଭଳି ୫ଜଣ ରାଷ୍ଟ୍ରମନ୍ତ୍ରୀ ଭାବେ ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳ ନନ୍ଦ ମଲ୍ଲିକ, ସଂପଦ ଚନ୍ଦ୍ର ସ୍ୱାଇଁ ଶପଥ ନେଇଛନ୍ତି।