ବୀର ସୁରେନ୍ଦ୍ର ସାଏ ଓ ନେତାଜୀଙ୍କୁ ବିଧାନସଭା ପରିସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
ଓଏଲ୍ ବ୍ୟୁରୋ: ମହାନ ସ୍ଵାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୮ତମ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ। ମହାନ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ବିଧାନସଭା ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ। ତାଙ୍କର ତ୍ୟାଗ, ନେତୃତ୍ଵ ଏବଂ ଦେଶଭକ୍ତି ଆମ ସମସ୍ତଙ୍କୁ ଚିରକାଳ ପାଇଁ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଓଏଲ୍ ବ୍ୟୁରୋ: ଓଡ଼ିଶାର ଅମର ବରପୁତ୍ର ତଥା ସ୍ୱାଧୀନତା ଆନ୍ଦୋଳନର ଅଗ୍ରଣୀ ଯୋଦ୍ଧା ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ। ବୀର ସୁରେନ୍ଦ୍ର ସାଏ ଥିଲେ ଭାରତର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ। ୨୩ ଜାନୁଆରୀ ୧୮୦୯ ମସିହାରେ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ ରାଜବଂଶର ଧରମ ସିଂହ ଓ ରେବତୀ ଦେବୀଙ୍କ ଔରସରୁ ସୁରେନ୍ଦ୍ର ସାଏ ଜନ୍ମଗ୍ରହଣ କରିଥିଲେ।
୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ୱ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ। ବୀର ସୁରେନ୍ଦ୍ର ସାଏ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ। ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ। ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା।
ଦେଶ ପାଇଁ ତାଙ୍କର ଅତୁଳନୀୟ ଅବଦାନ ଏବେବି ଚିରସ୍ମରଣୀୟ। ଦେଶର ସ୍ୱାଧୀନତା ପାଇଁ ଜୀବନର ଶେଷ ନିଶ୍ୱାସ ପର୍ଯ୍ୟନ୍ତ ବନ୍ଦୀ ଜୀବନ କାଟିଥିଲେ ବୀର ସୁରେନ୍ଦ୍ର ସାଏ। ୧୮୮୪ ଫେବୃଆରୀ ୨୮ ତାରିଖରେ ବନ୍ଦୀ ହୋଇ ରହିଥିବା ଦୁର୍ଗରେ ହିଁ ସୁରେନ୍ଦ୍ର ସାଏଙ୍କ ପରଲୋକ ହୋଇଥିଲା। ଅସାଧାରଣ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶ ପାଇଁ ନିଜ ଜୀବନକୁ ଉତ୍ସର୍ଗିକୃତ କରିଥିବା ବିପ୍ଲବୀ ବୀର ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।