ଆସନ୍ତା ୪ ଦିନ ବର୍ଷା ଆଶଙ୍କା

ଭୁବନେଶ୍ବର: ଆସନ୍ତା ୨୧ ତାରିଖରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଏହା ପ୍ରଭାବରେ ୨୨ ତାରିଖ ରାତି କିମ୍ବା ୨୩ ତାରିଖ ସକାଳ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବ। ଫଳରେ ରାଜ୍ୟରେ ଆଜିଠାରୁ ୨୩ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିବ। କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ପାଣିପାଗ ବିଜ୍ଞାନ କେନ୍ଦ୍ର ମୁତାବକ, ୨୩ ତାରିଖ ଆଡ଼କୁ ଏକ ଲଘୁଚାପ କ୍ଷେତ୍ର ବଙ୍ଗୋପସାଗରରେ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ଓଡ଼ିଶାରେ ଏବେଠାରୁ ବର୍ଷାର ପରିମାଣ ଓ ବିସ୍ତୃତି ଧୀରେଧୀରେ ବଢ଼ିବ। ଆଜିଠାରୁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୨୩ ତାରିଖ ଦିନ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲକାରୁ ମଧ୍ୟମଧରଣର ବର୍ଷାର ସମ୍ଭାବନା ରହିଛି।
ଆଜି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ରାଜ୍ୟର ବାକି ଜିଲ୍ଲାରେ ମଧ୍ୟ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୧ ତାରିଖ ଦିନ କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।
୨୨ ତାରିଖ ଦିନ କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ, ସୋନପୁର ଓ ବୌଦ୍ଧ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୨୩ ତାରିଖ ଦିନ ମଧ୍ୟ ରାଜ୍ୟରେ ବର୍ଷା ଜାରି ରହିବ। ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ୨୦ରୁ ୨୩ ତାରିଖ ୪ ଦିନ ପର୍ଯ୍ୟନ୍ତ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।